ଆଜି ପବିତ୍ର ଶ୍ରୀପଞ୍ଚମୀ..
ଭୁବନେଶ୍ୱର: ପବିତ୍ର ଶ୍ରୀପଞ୍ଚମୀରେ ଧରାବତରଣ କରିବେ ମା’ସରସ୍ୱତୀ । ସରସ୍ଵତୀ ପୂଜା ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ପାଳନ କରାଯାଏ । ହିନ୍ଦୁଧର୍ମରେ ସରସ୍ୱତୀଙ୍କୁ ଜ୍ଞାନର ଦେବୀ ବୋଲି ପରିଗଣିତ କରାଯାଏ । ସେ ଜ୍ଞାନ, ବୁଦ୍ଧି, ବିବେକ, ବିଦ୍ୟାର ଉତ୍ସ ବା ପ୍ରକାଶରୂପ । ସେ ବ୍ରହ୍ମାଙ୍କ ସହଚରୀ ଓ ଶକ୍ତି ରୂପେ ବିଦିତ। ପଶ୍ଚିମ ଓ ମଧ୍ୟ ଭାରତର ଜୈନ ଧର୍ମାବଲମ୍ବୀ, ଓ ବୌଦ୍ଧ ଧର୍ମାବଲମ୍ବୀମାନେ ମାନେ ମଧ୍ୟ ସରସ୍ୱତୀଙ୍କୁ ପୂଜା କରିଥାନ୍ତି । ତେବେ ଆଜିର ଦିନରେ ସରସ୍ୱତୀ ସବୁସ୍ଥାନରେ ପୂଜା କରାଯାଇଥାଏ । ପ୍ରତ୍ୟେକ ସ୍କୁଲ ତଥା ବିଦ୍ୟାଳୟରେ ଆଜି ପୂଜା ପାଇଥାନ୍ତି ଦେବୀ ସରସ୍ୱତୀ ।
ପାରମ୍ପରିକ ରୂପରେ ସରସ୍ୱତୀ ଶୁକ୍ଳ ବସ୍ତ୍ର ପରିଧାନ କରି କର୍ଣ୍ଣରେ ରତ୍ନବିଭୂଷିତ କୁଣ୍ଡଳ ଧାରଣ କରି ଗଳାରେ ଗଜମୋତି ଏବଂ ମୁକ୍ତାହାର ପିନ୍ଧିଛନ୍ତି ଓ ହସ୍ତରେ ବୀଣା ଓ ପୁସ୍ତକ ଧାରଣ କରି ପଦ୍ମାସନରେ ଶ୍ୱେତପଦ୍ମ ଉପରେ ଅଧିଷ୍ଠାତ୍ରୀ ହୁଅନ୍ତି । ଓଡ଼ିଆ ଭାଷାରେ ତାଙ୍କୁ ବାଣୀ ବୋଲି ମଧ୍ୟ କୁହାଯାଏ । ତାଙ୍କର ଅନ୍ୟ ନାମ ସବୁ ହେଲା ବୀଣା ପୁସ୍ତକ ଧାରିଣୀ, ବାଗ୍ଦେବୀ, ବରଦା ଇତ୍ୟାଦି ।
ସୃଷ୍ଟି:
ପୁରାଣକାରମାନେ ସରସ୍ୱତୀଙ୍କୁ କନ୍ୟା ଏବଂ ବ୍ରହ୍ମାଙ୍କୁ ପିତା ରୂପେ ପରିକଳ୍ପନା କରିଛନ୍ତି । ବ୍ରହ୍ମାଣ୍ଡ ପୁରାଣମତେ, ସୃଷ୍ଟିର ଆରମ୍ଭ କାଳରେ ବ୍ରହ୍ମା ଯେତେବେଳେ ଧ୍ୟାନସ୍ଥ ଥିଲେ, ସେତେବେଳେ ତାଙ୍କ ଭିତରେ ସତ୍ତ୍ୱ ଗୁଣର ବିକାଶ ଘଟିଲା ଏବଂ ସେଥିରୁ ଏକ କନ୍ୟା ଜାତ ହେଲା । ତାଙ୍କର ରୂପ ଥିଲା ଦୁଗ୍ଧ ପରି ଶ୍ୱେତବର୍ଣ୍ଣ । ସେହି ଶ୍ୱେତବର୍ଣ୍ଣା କନ୍ୟାଙ୍କୁ ଦେଖି ବ୍ରହ୍ମା ତାଙ୍କର ପରିଚୟ ପଚାରିବାରୁ କନ୍ୟା କହିଲେ, ମୁଁ ତୁମଠାରୁ ଜାତ ହେଲି । ତେଣୁ ତୁମେ ମୋର ନାମକରଣ କର ଏବଂ ମୋର ପରିଚୟ କ’ଣ ହେବ ତାହା ସ୍ଥିର କର । ତାହା ଶୁଣି ବ୍ରହ୍ମା କହିଲେ, ତୁମର ନାମ ସ୍ୱରସ୍ୱତୀ ହେଉ । ତୁମେ ପ୍ରତ୍ୟେକଙ୍କ ଜିହ୍ୱାର ଅଗ୍ରଭାଗରେ ‘ବାକ୍’ ରୂପେ ଅବସ୍ଥାନ କରିବ ।
ସେଥିାଇଁ ତୁମେ ‘ବାଗ୍ଦେବୀ’ ରୂପେ ବିଦିତା ହେବ । ବିଶେଷ କରି ବିଦ୍ୱାନମାନେ ତୁମକୁ ଆଦର ଓ ଭକ୍ତିରେ ପୂଜା କରିବେ । ବାକ୍ଦେବୀ ବା ସରସ୍ୱତୀଙ୍କ ମାଧ୍ୟମରେ ବ୍ରହ୍ମା ବିଶ୍ୱ ବ୍ରହ୍ମାଣ୍ଡର ସମସ୍ତ ଜୀବ ତଥା ସ୍ଥାବରଜଙ୍ଗମ ସର୍ଜନା କଲେ । ବାକ୍ ନାମ୍ନୀ କନ୍ୟା ଅତ୍ୟନ୍ତ ସୁନ୍ଦରୀ । ବ୍ରହ୍ମବୈବର୍ତ୍ତ ପୁରାଣ ଅନୁଯାୟୀ ସୃଷ୍ଟି କାଳରେ ଈଶ୍ୱରଙ୍କ ଇଚ୍ଛାରୁ ଆଦ୍ୟାଶକ୍ତି ନିଜକୁ ପାଞ୍ଚ ଭାଗରେ ବିଭକ୍ତ କରି ନେଇଥିଲେ । ସେ ରାଧା, ପଦ୍ମା, ସାବିତ୍ରୀ, ଦୁର୍ଗା ଏବଂ ସରସ୍ୱତୀଙ୍କ ରୂପରେ ଭଗବାନ ଶ୍ରୀକୃଷ୍ଣଙ୍କ ବିଭିନ୍ନ ଅଙ୍ଗରୁ ସୃଷ୍ଟି ହୋଇଥିଲେ । ସେ ସମୟରେ ଶ୍ରୀକୃଷ୍ଣଙ୍କ କଣ୍ଠରୁ ଦେବୀ ସରସ୍ୱତୀ ଉତ୍ପନ୍ନ ହୋଇଥିଲେ ।