କେଉଁ ଜିଲ୍ଲାରେ କେତେ ରହିପାରେ ପବନର ବେଗ ସେ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, କଟକ ଓ ଯାଜପୁର ଏହି ଛଅଟି ଜିଲ୍ଲାରେ ପର୍ବନର ବେଗ ସର୍ବାଧିକ 100ରୁ 120 କିମି ଯାଏଁ ରହିପାରେ। ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର ଆଦି ଜିଲ୍ଲାରେ ପବନର ବେଗ ରହିପାରେ 60ରୁ 100 କିମି। 24 ଓ 25 ତାରିଖରେ ପବନ ନେଇ 6ଟି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି। ସେହି ଜିଲ୍ଲାଗୁଡ଼ିକ ହେଲେ କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ବର ଓ ଭଦ୍ରକ ।
ପାରାଦୀପଠାରୁ ଦକ୍ଷିଣ ପୂର୍ବକୁ ପ୍ରାୟ 600 କିଲୋମିଟର ଦୂରରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିଛି ଅବପାତର ଅବସ୍ଥିତି। ଘଣ୍ଟା ପ୍ରତି 6 କିଲୋମିଟର ବେଗରେ ଏହା ସ୍ଥଳଭାଗ ଆଡ଼କୁ ଆସୁଛି । ସମୟ ଯେତେ ପାଖଉଛି, ପବନ ଓ ବର୍ଷା ନେଇ ସେତେ ବଢୁଛି ଆଶଙ୍କା। ଏପଟେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବି 24ରୁ 26 ତାରିଖ ଯାଏଁ ବାତ୍ୟା ପ୍ରଭାବରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା କହିଛନ୍ତି 24 ତାରିଖରେ 7 ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି ହୋଇଛି । ସେହି ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଓ କଟକ। ଏଥିସହ 24 ତାରିଖରେ ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି 25 ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ ଓ ବାଲେଶ୍ବର ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି ହୋଇଛି।
25ରେ ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼କୁ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଆସନ୍ତାକାଲି ମଧ୍ୟ ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ପୁରୀ, ଗଞ୍ଜାମ, ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏହି 8ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆଜିଠାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି । ଓଡ଼ିଶାର ସବୁ ବନ୍ଦରକୁ 1 ନଂ ବିପଦ ସଙ୍କେତ ଜାରି ହୋଇଛି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର