ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ବିଭିନ୍ନ ସ୍ତରରେ ଶିକ୍ଷକ ଅଭାବ ପୂରଣ ହେବା ଦ୍ୱାରା ପ୍ରାଥମିକ ବିଦ୍ୟାଳୟ ଗୁଡିକର ପରିଚାଳନାରେ ଉନ୍ନତି ଆସିବା ସହିତ ଶୈକ୍ଷିକ ପରିବେଶରେ ମଧ୍ୟ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି । ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେବା ଦ୍ୱାରା ୫(ଏ) ସ୍ତରରେ ଥିବା ୨୯,୭୫୯ ଜଣ ସହକାରୀ ଶିକ୍ଷକ ୫(ବି) ସ୍ତରକୁ ପଦୋନ୍ନତି ପାଇବେ ଏବଂ ୫(ବି) ସ୍ତରରେ ଥିବା ୨୯,୭୫୯ ଜଣ ବରିଷ୍ଠ ଶିକ୍ଷକ ତୁରନ୍ତ ଲେଭେଲ-୪ କୁ ପଦୋନ୍ନତି ପାଇବେ । ଏହାସହିତ ଲେଭେଲ IVରେ ଥିବା ୩୭୮୫ ଜଣ ପ୍ରଧାନ ଶିକ୍ଷକ ସେପ୍ଟେମ୍ବର ମାସ ସୁଦ୍ଧା ଲେଭେଲ-3 କୁ ପଦୋନ୍ନତି ପାଇବେ । ଲେଭେଲ ୫(ବି) ରେ ଥିବା ସହକାରୀ ଶିକ୍ଷକମାନଙ୍କ ପାଇଁ ରେସିଡେସନ୍ସି ପିରିଅଡକୁ ଏକ ବର୍ଷରୁ ୬ ମାସ କରାଯାଇଥିବା ବେଳେ, ଲେଭେଲ-୪ ରୁ ଲେଭେଲ-୩ କୁ ପଦୋନ୍ନତି ପାଇବା ପାଇଁ ରେସିଡ଼େନସି ପିରିଅଡର ସୀମା ୨ ବର୍ଷରୁ ୧ ବର୍ଷ କରାଯାଇଛି ।
ସୂଚନାଯୋଗ୍ୟ, ଯେ ୨୦୧୯ରେ ପ୍ରାଥମିକ ଶିକ୍ଷକ ମାନଙ୍କ କ୍ୟାଡରର ପୁନର୍ଗଠନ କରାଯାଇ ଲେଭେଲ-୪ ରେ ୨୧,୪୬୩ ଶିକ୍ଷକ ପଦବୀ ସ୍ଥାନରେ ୫୧,୧୬୪ ଟି ପଦବୀ ସୃଷ୍ଟି କରାଯାଇଥିଲା ଏବଂ ଲେଭେଲ-୩ ରେ ଥିବା ୯୩୦୫ ଟି ପଦବୀ ସ୍ଥାନରେ ୧୮,୭୬୯ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପଦୋନ୍ନତି ପାଇବାକୁ ଯାଉଥିବା ସବୁ ଶିକ୍ଷକ ମାନଙ୍କୁ ଅଭିନନ୍ଦନ ଜଣାଇବା ସହ ଗୁଣାତ୍ମକ ଶିକ୍ଷାଦାନ ଦିଗରେ ରାଜ୍ୟ ସରକାରଙ୍କ ଉଦ୍ୟମର ସଫଳତା ରେ ସମସ୍ତ ଙ୍କ ସହଯୋଗ କାମନା କରିଛନ୍ତି ।