ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଓମ୍ଫେଡ୍ ହେଉଛି ରାଜ୍ୟର ଲକ୍ଷ ଲକ୍ଷ ଦୁଗ୍ଧ ଚାଷୀ ମାନଙ୍କର ନିଜ ଅନୁଷ୍ଠାନ। ଏହାର ବିକାଶରେ ସବୁ ଚାଷୀ ଭାଇଭଉଣୀ ମାନଙ୍କର ଅବଦାନ ରହିଛି। ଓମ୍ଫେଡ୍ ମଧ୍ୟ ସବୁବେଳେ ଚାଷୀଙ୍କ ସ୍ବାର୍ଥର ସୁରକ୍ଷା ପାଇଁ କାମ କରିଆସୁଛି। ଆଜିର ଏହି ନୂଆ ପ୍ଲାଣ୍ଟ ଉଦଘାଟନ ଦ୍ବାରା ଚାଷୀମାନଙ୍କର ରୋଜଗାର ବଢିବ ଓ ପ୍ରାୟ ୬ ଲକ୍ଷ ଚାଷୀ ଉପକାର ପାଇବେ।
ରାଜ୍ୟରେ ଡାଇରୀ ଫାର୍ମ ଓ ପ୍ରୋସେସିଙ୍ଗ ୟୁନିଟ୍ ପ୍ରତିଷ୍ଠା ପାଇଁ ଯେପରି ଯୁବ ସମାଜ ଆଗେଇ ଆସିବେ ସେଥିପାଇଁ ରାଜ୍ୟ ସରକାର ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରିହାତି ଦେଉଛନ୍ତି। ତେଣୁ ସରକାରଙ୍କର ବିଭିନ୍ନ କାର୍ଯ୍ୟକ୍ରମର ସୁଯୋଗ ନେଇ ରାଜ୍ୟର ବିକାଶରେ ଭାଗୀଦାର ହେବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଜଣାଇଥିଲେ।
ରାଜ୍ୟରେ ଓମ୍ଫେଡ୍ର ଦୁଗ୍ଧ ସଂଗ୍ରହ କ୍ଷମତା ଦୈନିକ ୧୦ ଲକ୍ଷ ଲିଟରକୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ। ୨୦୦୦ ମସିହାରେ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ୮ଲକ୍ଷ ୭୫ ହଜାର ମେଟ୍ରିକ ଟନ୍ ଥିବାବେଳେ ୨୦୨୦ ରେ ଏହା ୨୩ ଲକ୍ଷ ୭୦ ହଜାର ମେଟ୍ରିକ ଟନ୍କୁ ବୃଦ୍ଧି ପାଇଛି।