ଦୁଇ ବର୍ଷ ପରେ ଭକ୍ତମାନଙ୍କ ଗହଣରେ ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ ମୁଖ୍ୟମନ୍ତ୍ରୀ ଏଥିରେ ଖୁସି ପ୍ରକାଶ କରି କହିଛନ୍ତି ଯେ ଏବର୍ଷ ବହୁତ ଅଧିକ ଭକ୍ତ ଆସିବେ । ତେଣୁ ସବୁପ୍ରକାର ଆଗୁଆ ବନ୍ଦୋବସ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ସମସ୍ତେ ଯେପରି ଭଲ ଅନୁଭବ ନେଇ ଫେରିବେ, ସେଥିପ୍ରତି ବିଶେଷ ଦୃଷ୍ଟି ଦେବାକୁ ସେ କହିଛନ୍ତି । କୋଭିଡ ସମୟରେ ରଥଯାତ୍ରା ପରିଚାଳନାରେ ସେବାୟତ ବନ୍ଧୁମାନେ ଯେପରି ସହଯୋଗ କରିଥିଲେ, ନିଜେ ରଥକୁ ଟାଣି ଗୁଣ୍ଡିଚା ମନ୍ଦିରରେ ପହଞ୍ଚାଇଥିଲେ, ସେଥିପାଇଁ ସେ ସେବାୟତମାନଙ୍କୁ ଧନ୍ୟବାଦ ଜଣାଇଥିଲେ ।
ବୈଠକରେ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଯୋଗ ଦେଇ ରଥଯାତ୍ରା ପ୍ରସ୍ତୁତି ସଂପର୍କରେ ବିଭିନ୍ନ ନିଷ୍ପତ୍ତି ଏବଂ ଏହାର ଅନୁପାଳନ ସଂପର୍କରେ ସୂଚନା ଦେଇଥିଲେ । ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା ରଥାଯାତ୍ରା ପାଇଁ ନିଆଯାଇଥିବା ସମସ୍ତ ପ୍ରସ୍ତୁତି ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ । ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ସୁନିଲ ବଂଶଲ ଆଇନ ଶୃଙ୍ଖଳା ବ୍ୟବସ୍ଥା, ପରିଚାଳନା ଓ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଥିଲେ । ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଶ୍ରୀ ବୀର ବିକ୍ରମ ଯାଦବ ସ୍ୱାଗତ ଭାଷଣ ଦେଇଥିଲେ ଏବଂ କେନ୍ଦ୍ରାଞ୍ଚଳ ଆର.ଡି.ସି ଧନ୍ୟବାଦ ଅର୍ପଣ କରିଥିଲେ ।
ବୈଠକରେ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ, ସଂସ୍କୃତି ମନ୍ତ୍ରୀ, ସ୍ବାସ୍ଥ୍ୟ ମନ୍ତ୍ରୀ, ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ, ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ପୁରୀ ସାଂସଦ ଓ ବିଧାୟକ ପ୍ରମୁଖଙ୍କ ସହିତ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ ପୁରୀ ଜିଲ୍ଲାପାଳ, ସେବାୟତ ଓ ଛତିଶା ନିଯୋଗର ସଦସ୍ୟମାନେ ଯୋଗ ଦେଇଥିଲେ ।