ଲ୍ୟାଣ୍ଡଫଲ୍ ବେଳେ ଅତି ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୧୦୦ରୁ ୧୨୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି । ରାତି ୩ଟାରୁ ଭୋର୍ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ତେବେ ଏହାର ତୀବ୍ରତା ଅତି ଭୀଷଣ ହୋଇନଥିବାରୁ ବାତ୍ୟାର ଆଖି ସୃଷ୍ଟି ହେବନାହିଁ ବୋଲି ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ବାତ୍ୟାର ସବୁଠୁ ଅଧିକ ପ୍ରଭାବ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଓ ଜଗତସିଂହପୁର ଜିଲ୍ଲା ଉପରେ ପଡ଼ିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।
ସ୍ଥଳଭାଗ ଛୁଇଁବା ପରେ ବାତ୍ୟା ଦୁର୍ବଳ ହେବା ସହ ଏହାର ଗତିପଥରେ ସାମାନ୍ୟ ପରିବର୍ତ୍ତନ ହୋଇପାରେ। ଏହା ପଶ୍ଚିମ-ଦକ୍ଷିଣ ପଶ୍ଚିମ ଦିଗକୁ ରିକର୍ଭ ହୋଇପାରେ ବୋଲି ଆକଳନ କରାଯାଇଛି । ଆସନ୍ତାକାଲି ପୂର୍ବାହ୍ଣ ସାଢ଼େ ୧୧ଟା ସୁଦ୍ଧା ଏହା ଦୁର୍ବଳ ହୋଇ ଭୀଷଣ ବାତ୍ୟାରୁ ବାତ୍ୟା ଏବଂ କାଲି ରାତି ସାଢ଼େ ୧୧ଟା ସୁଦ୍ଧା ଗଭୀର ଅବପାତରେ ପରିଣତ ହୋଇପାରେ ।