Videos
|
Odisha

ମହାନଗର ନିଗମର ମେୟରଙ୍କ ଦରମା ୫୦ ହଜାରକୁ ବୃଦ୍ଧି

Ritu Das
Browse all articles by Ritu Das
·2 years ago·2 min read
ମହାନଗର ନିଗମର ମେୟରଙ୍କ ଦରମା ୫୦ ହଜାରକୁ ବୃଦ୍ଧି

ଅର୍ଗସ ବ୍ୟୁରୋ: ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । ମହାନଗର ନିଗମ, ମ୍ୟୁନିସିପାଲିଟି ଓ ବିଜ୍ଞପିତ ଅଞ୍ଚଳ ପରିଷଦର ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ଭତ୍ତା ଓ ପାରିତୋଷିକ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ମହାନଗର ନିଗମମାନଙ୍କର ମେୟରମାନେ ପୂର୍ବରୁ ପାରିତୋଷିକ ଭାବରେ ୮ ହଜାର ଟଙ୍କା ପାଉଥିବା ବେଳେ ଏହାକୁ ସଂଶୋଧନ କରାଯାଇ ମାସିକ ୫୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ଡେପୁଟି ମେୟରମାନଙ୍କ ପାରିତୋଷିକ ମାସିକ ୫ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ପୌର ପରିଷଦ ଅଧ୍ୟକ୍ଷଙ୍କ ପାରିତୋଷିକ ମାସିକ ୧,୫୦୦ ରୁ  ୧୫ ହଜାର ଟଙ୍କାକୁ, ଉପାଧ୍ୟକ୍ଷଙ୍କ ପାରିତୋଷିକ ମାସିକ ୧,୨୦୦ ରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଏନ୍‌.ଏ.ସି. ଅଧ୍ୟକ୍ଷମାନଙ୍କର ମାସିକ ପାରିତୋଷିକ ୧,୦୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ଏବଂ ଉପାଧ୍ୟକ୍ଷଙ୍କ ମାସିକ ପାରିତୋଷିକ ୮୦୦ ରୁ ୭,୫୦୦ ଟଙ୍କାକୁ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ମହାନଗର ନିଗମ କର୍ପୋରେଟରମାନେ ପ୍ରତି ବୈଠକ ପାଇଁ ଭତ୍ତା ବାବଦରେ ୭,୦୦ ଟଙ୍କା ପାଉଥିବା ବେଳେ ଏବେ ଏହାକୁ ୨,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ବିଭିନ୍ନ ପୌର ପରିଷଦ ଓ ଏନ୍‌.ଏ.ସି.ର କାଉନସିଲରଙ୍କ ଭତ୍ତା ୧୫୦ ରୁ ୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଏତଦ୍‌ ବ୍ୟତୀତ ମହାନଗର ନିଗମର ଷ୍ଟାଣ୍ଡିଂ କମିଟିର ସଦସ୍ୟମାନଙ୍କୁ ବୈଠକ ସମୟରେ ମଧ୍ୟ ଦୈନିକ ୨୦୦ ଟଙ୍କା ଭତ୍ତା ମିଳିବ।

ପଞ୍ଚମ ରାଜ୍ୟ ଅର୍ଥ କମିଶନଙ୍କ ସୁପାରିଶ ତଥା ଓଡିଶା ମ୍ୟୁନିସିପାଲ କର୍ପୋରେସନ ରୁଲ୍ସ- ୨୦୦୪ ଓ ଓଡିଶା ମ୍ୟୁନିସିପାଲିଟି ରୁଲ୍ସ-୧୯୫୩ ରେ ସଂଶୋଧନ ଆଣି ଏହି ବୃଦ୍ଧି କରାଯାଇଛି। ରାଜ୍ୟର ୫ଟି ମହାନଗର ନିଗମ, ୪୮ଟି ପୌର ପରିଷଦ ଓ ୬୮ଟି ବିଜ୍ଞପିତ ଅଞ୍ଚଳ ପରିଷଦର ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ପାରିତୋଷିକ ଓ ଭତ୍ତାରେ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: