Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଅଜାଣତରେ ଶିବ ଲିଙ୍ଗ ଉପରେ ପକାଇଥିଲେ ବେଲପତ୍ର, ପାଇଥିଲେ ରାଜଗାଦି !

National

ଅଜାଣତରେ ଶିବ ଲିଙ୍ଗ ଉପରେ ପକାଇଥିଲେ ବେଲପତ୍ର, ପାଇଥିଲେ ରାଜଗାଦି !

Satyendu Sekhar Mishra
Browse all articles by Satyendu Sekhar Mishra
·1 year ago·2 min read
ଅଜାଣତରେ ଶିବ ଲିଙ୍ଗ ଉପରେ ପକାଇଥିଲେ ବେଲପତ୍ର, ପାଇଥିଲେ ରାଜଗାଦି !

ମହାଶିବରାତ୍ରୀ । ରାତି ସାରା ଉଜାଗର ରହିବେ ଭକ୍ତ। ଯାହାକୁ ଲୋକେ କହନ୍ତି ଜାଗର । ଫାଲଗୁନ କୃଷ୍ଣ ଚତୁର୍ଦ୍ଦଶୀ ଦିନ ଶିବ ଲିଙ୍ଗ ଭାବରେ ଆବିର୍ଭୂତ ହୋଇଥିବାରୁ ପ୍ରତିବର୍ଷ ଏହି ଦିନକୁ ମହାଶିବରାତ୍ରୀ ଭାବରେ ପାଳନ କରାଯାଏ। ହେଲେ ଏହା ପଛରେ ବି ରହିଛି ଏକ ସୁନ୍ଦର କାହାଣୀ । ରାଜା ଅଜାଣତରେ ଶିବ ଲିଙ୍ଗ ଉପରେ ପକାଇଥିଲେ ବେଲପତ୍ର ଆଉ ଲୁହ । ପର ଜନ୍ମରେ ପାଇଲେ ରାଜଗାଦି ।

ଦେବଦେବ ମହାଦେବଙ୍କ ଦ୍ୱାରା ଏହିଦିନ ସଂସାର ପ୍ରକଟ ହୋଇଥିଲା ବୋଲି ଲୋକେ ବିଶ୍ୱାସ କରିଥାନ୍ତି। ପୁରାଣର ଅନ୍ୟ ଏକ ଆଖ୍ୟାନ ଅନୁସାରେ, ଦେବ ଓ ଅସୁରମାନଙ୍କ ଦ୍ୱାରା ସମୁଦ୍ର ମନ୍ଥନ ସମୟରେ ସେଥିରୁ ବାହାରିଥିବା ସମସ୍ତ ବିଷକୁ ଶିବ ପାନକରି ଧରାକୁ ଏକ ଆସନ୍ନ ବିପଦରୁ ଉଦ୍ଧାର କରିଥିଲେ। ଏହି ବିଷକୁ ପାନ କରିବା ପରେ ବିଷର ଜ୍ୱାଳାରେ ସେ ମୂର୍ଚ୍ଛା ହୋଇଯାଇଥିଲେ । ତାଙ୍କର ସଂଜ୍ଞା ନ ଫେରିବା ପର୍ଯ୍ୟନ୍ତ ଦେବଗଣ ଓ ଶୈବବୃନ୍ଦ ଅଖଣ୍ଡ ପ୍ରଦୀପ ଜାଳି ଉଜାଗରରେ ବସିଥିଲେ। ସେହିଦିନକୁ ମନେପକାଇ ଶ୍ରଦ୍ଧାଳୁମାନେ ମହାଶିବରାତ୍ରୀ ପାଳନ କରିଥାନ୍ତି ।

ଶିବରାତ୍ରର ମହିମା ସମ୍ପର୍କରେ ମହାଭାରତର ଶାନ୍ତିପର୍ବରେ କୁହାଯାଇଛି ଯେ ପିତାମହ ଭୀଷ୍ମ ଶରଶଯ୍ୟାରେ ଥାଇ ଧର୍ମୋପଦେଶ ଦେଲାବେଳେ ମହାଶିବରାତ୍ରୀ ପାଳନ ସମ୍ପର୍କରେ ଇକ୍ଷାକୁ ବଂଶର ରାଜା ଚିତ୍ରଭାନୁଙ୍କ କାହାଣୀ ଉଦ୍ଧାର କରିଥିଲେ। ଜମ୍ବୁଦ୍ୱୀପର ରାଜା ଚିତ୍ରଭାନୁଙ୍କ ସ୍ତ୍ରୀ ଥରେ ଶିବରାତ୍ରୀ ଉପବାସ ପାଳନ କରିଥିଲେ। ସେ ସମୟରେ ଋଷି ଅଷ୍ଟବକ୍ର ରାଜଦରବାରକୁ ଆସି ରାଜାଙ୍କୁ ଏହି ଦିବସ ପାଳନର କାରଣ ପଚାରିଥିଲେ। ରାଜା ଜାତିସ୍ମର ଥିବାରୁ ନିଜ ପୂର୍ବଜନ୍ମର କାହାଣୀ ବର୍ଣ୍ଣନା କଲେ।

ପୂର୍ବଜନ୍ମରେ ସୁସ୍ୱର ନାମରେ ସେ ଜଣେ ଶିକାରୀ ଥିଲେ। ଦିନେ ବଣରେ ବୁଲୁବୁଲୁ ସନ୍ଧ୍ୟା ହୋଇଗଲା। ନିଜ କୁଟୀରକୁ ଫେରି ନ ପାରି ରାତିରେ ହିଂସ୍ରଜନ୍ତୁଙ୍କ କବଳରୁ ରକ୍ଷାପାଇବା ପାଇଁ ସେ ନିକଟରେ ଥିବା ବେଲଗଛ ଉପରକୁ ଚଢ଼ିଗଲେ। ରାତିସାରା ବେଲପତ୍ର ଛିଡ଼ାଇ ତଳକୁ ପକାଇବା ସହ ନିଜ ପରିବାର କଥା ଭାବି ଲୁହ ଝରାଇବାକୁ ଲାଗିଲେ। ତାଙ୍କ ଅଜାଣତରେ ସେହି ଲୁହ ଓ ପତ୍ର ବେଲ ଗଛର ପାଦଦେଶରେ ଥିବା ଶିବଲିଙ୍ଗ ଉପରେ ପଡୁଥାଏ। ସକାଳ ହେବାରୁ ସେ ଶିକାର ଧରି ଘରକୁ ଫେରିଲେ। ପ୍ରଥମେ ଜଣେ ଭିକ୍ଷୁକୁ କିଛି ଖାଦ୍ୟ ଦାନକରି ନିଜେ ଖାଦ୍ୟଗ୍ରହଣ କଲେ। କିଛି ବର୍ଷ ପରେ ତାଙ୍କ ମୃତ୍ୟୁ ହେବାରୁ ସେ ଶୈବଲୋକ ପ୍ରାପ୍ତ ହେଲେ।

ଅଜ୍ଞାତରେ, ସେ ଶିବରାତ୍ରୀ ଦିନ ଉପବାସ ରହି ଶିବଲିଙ୍ଗ ଉପରେ ବେଲପତ୍ର ଓ ଲୁହ ସମର୍ପଣ କରିଥିବାରୁ ସେ ଶିବଙ୍କ ପାଖରେ ରହିବାର ସୁଯୋଗ ଲାଭକରି ପରଜନ୍ମରେ ଚିତ୍ରଭାନୁ ରୂପରେ ରାଜଗାଦି ଭୋଗକଲେ ବୋଲି କାହାଣୀ ରହିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Did You Know Who First Offer Belpatra To Lord Shiva | Argus News