ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ

ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ। ଦକ୍ଷିଣ ପୂର୍ବ ବାଂଲାଦେଶ ଓ ଆଖପାଖରେ ଲଘୁଚାପ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏହା ଅବପାତର ରୂପ ନେବ। ପ୍ରଭାବରେ ଆଜିଠାରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କାଲିଠାରୁ ବର୍ଷାର ପରିମାଣ ଓ ବିସ୍ତୃତି ଅଧିକ ହୋଇପାରେ। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।
ସେହିପରି ପ୍ରବଳ ବର୍ଷା ନେଇ ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ରାୟଗଡା ଏବଂ ଗଜପତି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ନେଇ ୧୧ଟି ଜିଲ୍ଲାକୁ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ଆସନ୍ତାକାଲି ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି।
ଏହି 3ଟି ଜିଲ୍ଲା ହେଲା କେନ୍ଦୁଝର, ମୟୁରଭଞ୍ଜ ଏବଂ ସୁନ୍ଦରଗଡ଼। ୩ଟି ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ପ୍ରବଳ ବର୍ଷା ନେଇ ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କୋରାପୁଟ, ନବରଙ୍ଗପୁର, ଯାଜପୁର, ବରଗଡ, ରାୟଗଡା, କଳାହାଣ୍ଡି ବାଲେଶ୍ବର ଏବଂ ଭଦ୍ରକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦କିଲୋମିଟର ବେଗରେ ପବନ ବୋହିପାରେ। ଏଥିପାଇଁ ଆଜିଠାରୁ ୧୫ ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।
📱 Get Argus News App
✨ଅଧିକ ପଢ଼ନ୍ତୁ ପାଣିପାଗ ଖବର