Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Srimandir / ଶ୍ରଦ୍ଧାଳୁଙ୍କ ପାଇଁ ବଡ଼ ଖବର, ସନ୍ଧ୍ୟାରୁ ରାତି ଯାଏଁ ଜଗା ଦର୍ଶନ ବନ୍ଦ !

Satyendu Sekhar Mishra
Browse all articles by Satyendu Sekhar Mishra
·6 months ago·2 min read
ଶ୍ରଦ୍ଧାଳୁଙ୍କ ପାଇଁ ବଡ଼ ଖବର, ସନ୍ଧ୍ୟାରୁ ରାତି ଯାଏଁ ଜଗା ଦର୍ଶନ ବନ୍ଦ !
Srimandir

Key Points

ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ ।
ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।
ମାଘମାସ କୃଷ୍ଣପକ୍ଷ ଚତୁର୍ଥୀ ତିଥିରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧାବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ପ୍ରାୟ ପାଞ୍ଚଘଣ୍ଟା ଜଗା ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ବା ଶ୍ରୀମୁଖ ଶୃଙ୍ଗାର ନୀତି ସମ୍ପର୍ଣ୍ଣ କରିବେ ।

ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।  ଏହା ଏକ ଗୁପ୍ତସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଆଜି ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ପ୍ରାୟ ପାଞ୍ଚଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ମିଳିଛି । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।

ଶ୍ରୀଜୀଉମାନଙ୍କର ମୁଖଶ୍ରୀର ପ୍ରସାଧନ ବା ବନକ ଲାଗି ହୋଇଥାଏ । ବନକ ଲାଗି ନୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କ ଦ୍ୱାରା କରାଯାଇଥାଏ । ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ହୋଇଥାଏ । ଦି’ପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଦେବତାମାନଙ୍କର ମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ ।

ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ । କବି ସାଲବେଗ ମହାପ୍ରଭୁଙ୍କ ଶ୍ରୀମୁଖ ଦେଖି ଲେଖିଛନ୍ତି ‘ଝଲମଲ ଦିଶୁଥାଇ ମୁକୁତାର ଝଟକ’ । କୌଣସି ଆଭୂଷଣ ନଥାଇ ମହାପ୍ରଭୁଙ୍କ ମୁଖମଣ୍ଡଳ ଭକ୍ତଙ୍କୁ ଆକର୍ଷିତ କରେ । ଏହି ଆକର୍ଷଣର କାରଣ ମୁହଁର ରଙ୍ଗବିନ୍ୟାସ । ଏହି ରଙ୍ଗବିନ୍ୟାସ ବା ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ ।

ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢାହୁଏ ତା’ର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଏ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ ।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Srimandir | Big news for devotees, Jaga Darshan closed from evening till night! | Argus News