ସରକାର ବଦଳିବା ପରେ ବଦଳିଛି ଚିତ୍ର, ଲୋକଙ୍କ ସମସ୍ୟା ଶୁଣିବାକୁ ହାଜର ଖୋଦ୍ ମୁଖ୍ୟମନ୍ତ୍ରୀ

ରାଜ୍ୟରେ ସରକାର ବଦଳିବା ପରେ ବଦଳିଛି ଚିତ୍ର । ଏବେ ଜନତାଙ୍କଠାରୁ ଆଉ ଦୂର ନୁହେଁ ଶାସନ ପ୍ରଶାସନ । ଲୋକଙ୍କ ଦୁଃଖ ଶୁଣିବା, ସମସ୍ୟାର ସମାଧାନ କରିବାକୁ ହାଜର ଖୋଦ୍ ମୁଖ୍ୟମନ୍ତ୍ରୀ । ବିଜେଡି ଶାସନରେ ସ୍ଥାଣୁ ପାଲଟିଥିବା ଅଭିଯୋଗ ଶୁଣାଣି ବ୍ୟବସ୍ଥା ବିଜେପି ଶାସନରେ ବେଶ୍ ସକ୍ରିୟ । ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠକୁ ଆସୁଥିବା ସମସ୍ତ ଅଭିଯୋଗକୁ ଗୁରୁତର ସହ ନେଇଛନ୍ତି ସରକାର । ସବୁ ଅଭିଯୋଗକୁ ତୁରନ୍ତ ସମାଧାନ ପାଇଁ ନିଆଯାଉଛି ପଦକ୍ଷେପ । ଏଥିରେ ଅବହେଳା କରୁଥିବା ଅଧିକାରୀଙ୍କ ବିରୋଧରେ ମଧ୍ୟ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଉଛି । କଟକ ଜିଲ୍ଲାର ୪୮ ଜଣ ଅଧିକାରୀଙ୍କ ଦରମା ବନ୍ଦ କରାଇଛନ୍ତି କଟକ ଜିଲ୍ଲାପାଳ । ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠରେ ଅଭିଯୋଗ କରିଥିବା ଲୋକଙ୍କ ସମାଧାନ ନ କରିବା କାରଣରୁ ଏପରି ପଦକ୍ଷେପ ନେଇଛନ୍ତି କଟକ ଜିଲ୍ଲାପାଳ ।
ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ମଣ୍ଡଳର ୭ ଜଣ ସଦସ୍ୟ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣୁଥିଲେ । କେବଳ ଚିକିତ୍ସା ସହାୟତା ନୁହେଁ, ଅନ୍ୟାନ୍ୟ ବିଭିନ୍ନ ସମସ୍ୟା ନେଇ ଅଭିଯୋଗକାରୀମାନେ ଆସିଥିଲେ । ସମସ୍ତଙ୍କ ଅଭିଯୋଗ ଗୁଡ଼ିକୁ ଗୁରୁତ୍ୱର ସହ ଶୁଣି ଆବଶ୍ୟକ ସ୍ଥଳେ ଟେଲିଫୋନ୍ ଜରିଆରେ ମନ୍ତ୍ରୀମଣ୍ଡଳର ସଦସ୍ୟ ଓ ଉପସ୍ଥିତ ବରିଷ୍ଠ ସଚିବ ସ୍ତରୀୟ ଅଧିକାରୀମାନେ ସମ୍ପୃକ୍ତ କର୍ତ୍ତୃପକ୍ଷମାନଙ୍କୁ ନିର୍ଦ୍ଦେଶ ଦେଉଥିଲେ । ଅଭିଯୋଗ ପ୍ରକୋଷ୍ଠରୁ ଫେରୁଥିବା ପ୍ରତ୍ୟେକଙ୍କ ମୁହଁରେ ପ୍ରକାଶ ପାଉଥିଲା ଭରସା ଓ ଆତ୍ମ ସନ୍ତୋଷର ଚିହ୍ନ ।
ସୂଚନାଯୋଗ୍ୟ ଯେ, ଗତ ବର୍ଷ ଜୁଲାଇ ପହିଲାରୁ ଆରମ୍ଭ ହୋଇଥିବା ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମର ଅଷ୍ଟମ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ୮୭୩୭ଟି ଅଭିଯୋଗ ମଧ୍ୟରୁ ୭୩୩୧ଟି ଅଭିଯୋଗର ସମାଧାନ କରାଯାଇଛି । ଯାହା ଶତକଡ଼ା ୮୪ ପ୍ରତିଶତ ଅଟେ। ବକେୟା ଅଭିଯୋଗ ଗୁଡ଼ିକ ପ୍ରୋସେସରେ ରହିଛି ।
ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ପଞ୍ଚାୟତିରାଜ, ପାନୀୟଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।
ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ, ଏବଂ ଅନ୍ୟ ବିଭାଗଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ଏହି କାର୍ଯ୍ୟ ପରିଚାଳନା କରିଥିଲେ।