ଓଡ଼ିଶା ରୂପାନ୍ତର ପଥରେ ଆଗେଇ ଚାଲିଛି - ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସାଧାରଣତନ୍ତ୍ର ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ଜାତିର ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ସର୍ଦ୍ଦାର ପଟେଲ, ମୌଲାନା ଆଜାଦ, ଡଃ ବି.ଆର. ଆମ୍ବେଦକର, ଡଃ ରାଜେନ୍ଦ୍ର ପ୍ରସାଦ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ, ନବକୃଷ୍ଣ ଚୌଧୁରୀ, ଗୋପବନ୍ଧୁ ଚୌଧୁରୀ, ସହିଦ୍ ଲକ୍ଷ୍ଣଣ ନାଏକ, ବୀର ସୁରେନ୍ଦ୍ର ସାଏ, ମା ରମାଦେବୀ, ମାଳତୀ ଚୌଧୁରୀ, ଡଃ ହରେକୃଷ୍ଣ ମହତାବ, ବିଜୁ ପଟ୍ଟନାୟକ ଓ ପାର୍ବତୀ ଗିରିଙ୍କ ପରି ମହାନ୍ ସଂଗ୍ରାମୀ ମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।
ଦେଶର ଶାନ୍ତି ଓ ସୁରକ୍ଷା ପାଇଁ ସହିଦ ହୋଇଥିବା ଆମର ଯବାନମାନଙ୍କ ପ୍ରତି ମଧ୍ୟ ଏହି ଅବସରରେ ମୋର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ଆମ ଦେଶ ମହାତ୍ମା ଗାନ୍ଧୀ, ସୁଭାଷଙ୍କ ଦେଶ । ସତ୍ୟ, ଶାନ୍ତି ଅହିଂସା ନ୍ୟାୟ, ସମତା ଓ ବିକାଶର ରାସ୍ତାରେ ଆମେ ଚାଲୁଛୁ ।
ଆଜି ବିଭିନ୍ନ କ୍ଷେତ୍ରରେ ବିଶ୍ଵ ଦରବାରରେ ଭାରତର ପ୍ରତିଷ୍ଠା ବୃଦ୍ଧି ପାଉଛି । ଦେଶର ବିକାଶରେ ସବୁ ରାଜ୍ୟର ଅବଦାନ ରହିଛି । ଆମ ଓଡ଼ିଶାର ମଧ୍ୟ ଗୁରୁତ୍ବପୁର୍ଣ ଭୂମିକା ରହିଛି । ଗତ କୋଡ଼ିଏ ବର୍ଷ ମଧ୍ୟରେ ଓଡ଼ିଶା ବିକାଶର ସବୁ କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି କରିଛି । ଓଡ଼ିଶା ରୂପାନ୍ତର ପଥରେ ଆଗେଇ ଚାଲିଛି । ଓଡ଼ିଶାର ବିକାଶ ଅନ୍ୟମାନଙ୍କ ଆଦର୍ଶ ହୋଇଛି ।
ମହାପ୍ରଭୁ ଜଗନ୍ନାଥ ଓଡ଼ିଆ ଜାତିର ଶ୍ରେଷ୍ଠ ପରିଚୟ । ତାଙ୍କ ଇଚ୍ଛାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି । ସମଲେଇ ପ୍ରକଳ୍ପ ମଧ୍ୟ ଖୁବ୍ ଶୀଘ୍ର ଲୋକାର୍ପିତ ହେବାକୁ ଯାଉଛି । ଆମର କୀର୍ତ୍ତି ହେଉଛି ଆମ ସ୍ୱାଭିମାନ ଓ ଅସ୍ମିତାର ପରିଚୟ। ସତ୍ୟବାଦୀଠାରେ ଓଡିଆ ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସ୍ ଲୋକାର୍ପିତ ହୋଇଛି । ଓଡିଆ ଭାଷା ସାହିତ୍ୟର ଅଭିବୃଦ୍ଧି କ୍ଷେତ୍ରରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ।
ଆହୁରି ପଢନ୍ତୁ ଓଡିଶା ଖବର...