ଆଜିଠୁ ଶ୍ରୀମନ୍ଦିରରେ ଏକ ସପ୍ତାହ ଧରି ଅନୁଷ୍ଠିତ ହେବ ଦୋଳ ଉତ୍ସବ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଫଗୁ ଦଶମୀ ପାଇଁ ସ୍ୱତନ୍ତ୍ର ନୀତିକାନ୍ତି । ଆଜିଠୁ ଶ୍ରୀମନ୍ଦିରରେ ଏକ ସପ୍ତାହ ଧରି ଅନୁଷ୍ଠିତ ହେବ ଦୋଳ ଉତ୍ସବ। ମଧ୍ୟାହ୍ନ ଧୂପ ଶେଷ ହେବାପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ସ୍ୱତନ୍ତ୍ର ବିମାନରେ ବସି ଶ୍ରୀଜଗନ୍ନାଥ ବଲ୍ଲଭ ମଠକୁ ବିଜେ କରିବେ । ସେଠାରେ ଅବିର ଓ ଫଗୁ ଲାଗି କରାଯିବ ।
ମହାପ୍ରଭୁଙ୍କ ଚାଚେରୀ ବେଶ ଓ ଚାଚେରୀ ଭୋଗ ଅନୁଷ୍ଠିତ ହେବ। ଆସନ୍ତା ଚତୁର୍ଦଶୀ ତିଥି ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ଚାଚେରୀ ବେଶରେ ମହାପ୍ରଭୁ ରକ୍ତବସ୍ତ୍ର ପରିଧାନ କରିବା ସହ ବିଭିନ୍ନ ଅଳଙ୍କାରରେ ସଜିତ ହେବେ। ସେପଟେ ଆସନ୍ତା 13 ତାରିଖରେ ମେଣ୍ଢାପୋଡି ଉତ୍ସବ ଅନୁଷ୍ଠିତ ହେବାସହ 14 ତାରିଖରେ ଦୋଳପୂର୍ଣ୍ନୀମା ଅବସରରେ ଚତୁର୍ଦ୍ଧା ବିଗ୍ରହ ଲକ୍ଷାଧିକ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ସୁନାବେଶରେ ଦର୍ଶନ ଦେଵେ।
ଶ୍ରୀମନ୍ଦିରରେ ସପ୍ତାହ ଧରି ଦୋଳ ଉତ୍ସବ ଆରମ୍ଭ ହୋଇଥାଏ । ଏନେଇ ଆଜି ମହାପ୍ରଭୁଙ୍କ ଫଗୁ ଦଶମୀ ପାଇଁ ସ୍ୱତନ୍ତ୍ର ନୀତିକାନ୍ତି କରାଯାଉଛି। ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଦୋଳଯାତ୍ରା ଅନ୍ୟତମ । ବିଶ୍ୱାସ ରହିଛି, ଫାଲଗୁନ ଶୁକ୍ଳ ଦଶମୀରୁ ଚୈତ୍ର କୃଷ୍ଣ ପ୍ରତିପଦା ପର୍ଯ୍ୟନ୍ତ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୂଣ୍ୟ ମିଳିଥାଏ । ଏହି ଅବସରରେ ମହାପ୍ରଭୁଙ୍କ ଚାଚେରୀ ବେଶ ଓ ଚାଚେରୀ ଭୋଗ ଅନୁଷ୍ଠିତ ହେବ।