୪ ତାରିଖ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

Key Points
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ଲଘୁଚାପ ସୃଷ୍ଟି
ରାଜ୍ୟରେ ୪ ତାରିଖ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
୩ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି...
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଥିବା ଲଘୁଚାପ କ୍ଷେତ୍ର ଏବେ ଉପକୂଳବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ରହିଛି। ଆସନ୍ତା ୨ ଦିନରେ ଲଘୁଚାପ ଉତ୍ତର ଓଡ଼ିଶା, ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଦିଗରେ ଗତି କରିବ। ଲଘୁଚାପ ପ୍ରଭାବରେ ୪ ଜୁଲାଇ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ସହିତ ଝଡ଼ବର୍ଷାର ସମ୍ଭାବନା ରହିଛି।
ବିଶେଷକରି ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶାରେ ବର୍ଷା ଲାଗିରହିବ। ଏହାଦ୍ବାରା ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଓ ଜଳକାରେ ବଡ଼ ବନ୍ୟାର ଆଶଙ୍କା ରହିଛି। ଜୁଲାଇ ୬ ସୁଦ୍ଧା ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି, ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ଜୁଲାଇ ୯ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଆକଳନ କରାଯାଇଛି। ଲଘୁଚାପ ପ୍ରଭାବରେ ମୟୂରଭଞ୍ଜରେ ଗତକାଲି ଅତିପ୍ରବଳ ବର୍ଷା ହୋଇଛି।
ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ସମ୍ବଲପୁର ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସମୟରେ ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ସୁବର୍ଣ୍ଣପୁର, ଅନୁଗୋଳ, ଦେବଗଡ଼ ଜିଲାରେ ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଏବଂ ଢେଙ୍କାନାଳ ଜିଲାକୁ ବଜ୍ରପାତ ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଜୁଲାଇ ୨ରେ ସୁନ୍ଦରଗଡ଼, ଝାରସୁଗୁଡାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ୩ ଜୁଲାଇରେ ମୟୂରଭଞ୍ଜ ଓ କେନ୍ଦୁଝରରେ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ଅନ୍ୟାନ୍ୟ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ମୟୂରଭଞ୍ଜ,କେନ୍ଦୁଝର ଏବଂ ସୁନ୍ଦରଗଡ଼ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ଥିବାରୁ ୨ ତାରିଖ ପର୍ଯ୍ୟନ୍ତ ସମୁଦ୍ର ନ ଯିବାକୁ ମସ୍ୟଜୀବୀଙ୍କୁ ସତର୍କ କରାଯାଇଛି।