|
logo
Live

Argus News - ରାଜ୍ୟ ସରକାର ପର ଘର ତିଅଣରେ ଅତିଥି ସତ୍କାର କରି ଚଞ୍ଚକତା କରିବାରେ ଧୂରନ୍ଧର

Odisha

ରାଜ୍ୟ ସରକାର ପର ଘର ତିଅଣରେ ଅତିଥି ସତ୍କାର କରି ଚଞ୍ଚକତା କରିବାରେ ଧୂରନ୍ଧର

Jitendra Dash
Browse all articles by Jitendra Dash
·2 years ago·3 min read
ରାଜ୍ୟ ସରକାର ପର ଘର ତିଅଣରେ ଅତିଥି ସତ୍କାର କରି ଚଞ୍ଚକତା କରିବାରେ ଧୂରନ୍ଧର

ଅର୍ଗସ ବ୍ୟୁରୋ : ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଲୋକଙ୍କ ପାଇଁ ସବୁ ପ୍ରକାର ସୁବିଧା କରିଥିବା ବେଳେ ରାଜ୍ୟ ସରକାର ପର ଘର ତିଅଣରେ ଅତିଥି ସତ୍କାର କରି ଚଞ୍ଚକତା କରିବାରେ ଧୂରନ୍ଧର ବୋଲି ସୋମବାର ସମ୍ବଲପୁର ଜିଲ୍ଲା ବାମରା ବ୍ଲକ ମହୁଲପାଲିରେ ‘ବିକଶିତ ଭାରତ ସଂକଳ୍ପ ଯାତ୍ରା’ରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  । 

ଶ୍ରୀ ପ୍ରଧାନ କହିଛନ୍ତି ଯେ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ପ୍ରଧାନମନ୍ତ୍ରୀ ମୋଦି ଆସନ୍ତା ୨୦୨୯ ମସିହା ପର୍ଯ୍ୟନ୍ତ ଓଡ଼ିଶାର ୩ କୋଟି ୨୫ ଲକ୍ଷ ହିତାଧିକାରୀଙ୍କୁ ମାଗଣା ଚାଉଳ ଦେବା ପାଇଁ ନିଷ୍ପତି ନେବା ପରେ ବି ରାଜ୍ୟ ସରକାର ନିଜସ୍ୱ ଯୋଜନା ନାଁରେ ମିଛ ପ୍ରଚାର କରୁଛନ୍ତି । ଗଣତନ୍ତ୍ରରେ ଏଭଳି ଚଞ୍ଚକତା ନିନ୍ଦନୀୟ । ଓଡ଼ିଶା ସରକାର ପ୍ରଚାର ସର୍ବସ୍ୱ ସରକାର । ସମ୍ବଲପୁରର କୁଚିଣ୍ଡା, ବାମରା, ମହୁଲପାଲି, କେଶାଇ ବାହାଲ, କୁନ୍ତରା, ଜମନକିରା, ଗଡପୋଷ, ଫାଶିମାଲ, କୁଲୁଣ୍ଡି ଓ ନିକ୍ତିମାଲ ଭଳି ଗ୍ରାମାଞ୍ଚଳରେ ପ୍ରାଥମିକ ଓ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକ ପଦବୀ ଅନୁସାରେ ଡାକ୍ତର ନାହାନ୍ତି । ଦେଶରେ ଆୟୁଷ୍ମାନ ଯୋଜନା ମାଧ୍ୟମରେ ମାଗଣାରେ ସ୍ବାସ୍ଥ୍ୟସେବା ମିଳୁଥିବା ବେଳେ ରାଜ୍ୟ ସରକାର ଆୟୁଷ୍ମାନ ଯୋଜନା ଲାଗୁ କରୁନାହାନ୍ତି । ଲୋକଙ୍କ ଟିକସ ପଇସାରେ ରାଜ୍ୟ ରାଜକୋଷକୁ ଆସୁଥିବା ଅର୍ଥର ଖର୍ଚ୍ଚ କରି କେବଳ ମିଛ ବିଜ୍ଞାପନ ଓ ବଡ ବଡ ହୋର୍ଡିଂରେ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟସେବା ସୀମିତ ରହିଛି । 

ଜଳ ଜୀବନ ମିଶନରେ ସମ୍ବଲପୁର ଜିଲ୍ଲାରେ ମୋଟ ୧,୬୪,୫୭୪ ପରିବାର ମଧ୍ୟରୁ ୭୦,୬୧୦ ପରିବାରକୁ ଟ୍ୟାପ ଜଳ ସଂଯୋଗ ଦିଆଯାଇଛି । ପ୍ରତି ଘରକୁ ପାଇପ ଯୋଗେ ପାଣି ଦେବା ପାଇଁ ଅର୍ଥର ବ୍ୟବସ୍ଥା କରିବା ପରେ ବି ଗାଁରେ ପାଣି ଆସୁନି । ପଇସା ଠିକାଦାର ପକେଟକୁ ଯାଉଛି, ଏହା କଣ ଲମ୍ବା ଶାସନର ରୂପାନ୍ତରଣ କି ? ମୋଦି ସରକାର ପିଏମ ଆବାସ ଯୋଜନାରେ ଗରିବଙ୍କ ପାଇଁ ପକ୍କା ଘର ପଠାଉଥିବା ବେଳେ ଯୋଗ୍ୟ ହିତାଧିକାରୀଙ୍କୁ ଘର ମିଳୁନଥିବା ସିଏଜି ରିପୋର୍ଟରେ ପ୍ରକାଶ ପାଇଛି । ୨୪ ବର୍ଷ ଶାସନରେ ରହିବା ପରେ ବି ଓବିସି ମାନଙ୍କୁ ଚାକିରି ଓ ଶିକ୍ଷା କ୍ଷେତ୍ରରେ ସମ୍ବିଧାନ ଅନୁମୋଦିତ ଅଧିକାର ଦେଉନାହାନ୍ତି । ଲାଗୁ କଲେ କାଳେ, ମୋଦିଙ୍କ ଡବଲ ଇଞ୍ଜିନ କାଳେ ଲାଗିଯିବ, ଏଥିପାଇଁ ରାଜ୍ୟ ସରକାର ଭୟଭୀତ । ଲମ୍ବା ସମୟର ଶାସନରେ ମୌଳିକ ସୁବିଧା ଆଜି ବି ଲୋକଙ୍କ ପାଖରେ ଅପହଞ୍ଚ । ମୋଦି ସରକାର ଓଡ଼ିଶାକୁ ୧୮ ଲକ୍ଷ କୋଟି ଟଙ୍କା ଦେଇଛନ୍ତି । କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଥିବା ଲୋକଙ୍କୁ ମୋଦି ଗ୍ୟାରେଣ୍ଟି ଦେବାକୁ ହିଁ ପଡ଼ିବ । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢନ୍ତୁ : ନକ୍ସାପାଲିରୁ ଧନୁପାଲି ଛକ ଏବଂ ଧନୁପାଲି ଛକରୁ ସିନ୍ଦୁରପଙ୍କ ରାସ୍ତାର ଉନ୍ନତିକରଣ ବ୍ୟବସ୍ଥାକୁ ମଞ୍ଜୁରୀ

କେନ୍ଦ୍ରମନ୍ତ୍ରୀ କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ଦେଶରେ ନିଜକୁ ଏକ ଆସ୍ଥାର କେନ୍ଦ୍ର ଭାବରେ ସ୍ଥାପିତ କରିପାରିଛନ୍ତି । ଆଜି ମୋଦିଙ୍କ ଗ୍ୟାରେଣ୍ଟିରେ ଦେଶ ଆଗକୁ ବଢୁଥିବା ବେଳେ ଗରିବ, ମହିଳା, ଚାଷୀ, ବଞ୍ଚିତ, ଓ ଯୁବକମାନେ ସଶକ୍ତ ଓ ଆତ୍ମନିର୍ଭର ହେଉଛନ୍ତି । ସମସ୍ତଙ୍କୁ ପକ୍କା ଘର, ପାଇପ ଯୋଗେ ପାନୀୟ ଜଳ, ରୋଷେଇ ଗ୍ୟାସ, ମାଗଣା ଚାଉଳ ଓ ଅନ୍ୟାନ୍ୟ ମୌଳିକ ସୁବିଧା ସହ ମହିଳାମାନଙ୍କୁ ଲକ୍ଷପତି ବନାଇବାର ସ୍ୱପ୍ନ ପୂରଣ କରାଯାଉଛି । ଗାଁ ଗାଁରେ ରକ୍ତ ପରୀକ୍ଷା, ସିକିଲ ସେଲ୍ ପରୀକ୍ଷା ଏବଂ ଡାଇବେଟିସ ପରୀକ୍ଷା କରାଯିବା ସହ ଉତ୍ତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ଭଳି ସୁବିଧା ମୋଦି ସରକାର କରିଛନ୍ତି । ମୋଦିଙ୍କ ବିକାଶ ଗ୍ୟାରେଣ୍ଟିକୁ ଲୋକମାନେ ଭରସା କରୁଛନ୍ତି । ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଦେଶ  ବିକଶିତ ଭାରତ ଦିଗରେ ଅଗ୍ରସର ହେଉଥିବା ବେଳେ ଏହି ଲକ୍ଷ୍ୟକୁ ହାସଲ କରିବା ପାଇଁ ଆମ ମାନଙ୍କର ଯୋଗଦାନ ଜରୁରୀ ।

ଏହି ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ମହୁଲପାଲିର ଉଜ୍ଜ୍ୱଳା ଯୋଜନାର ହିତାଧିକାରୀ ଆଶାକର୍ମୀ କୁନ୍ତଳା ସାହୁ,  ଏସଏଚଜି ମହିଳା ଭାବେ କମ ସୁଧରେ ଋଣ ନେଇଥିବା ରଜନୀ ସାହୁ ଓ ବାମରାର ପିଏମ କିଷାନ ଯୋଜନାର ଲାଭାର୍ଥୀ ମୋତିରଞ୍ଜନ ପୃଷେଠଙ୍କ ସମେତ ମୋଦି ସରକାରଙ୍କ କଲ୍ୟାଣକାରୀ ଯୋଜନାର କିଭଳି ଭାବେ ଉପକୃତ ହେବା ସହ ଲାଭ ପାଇଛନ୍ତି, ତାହା ଉପରେ ବର୍ଣ୍ଣନା କରିଥିଲେ , ଯାହାକୁ ଶ୍ରୀ ପ୍ରଧାନ ପ୍ରଶଂସା କରିଥିଲେ । ଏହି ଗସ୍ତ କାଳରେ କେନ୍ଦ୍ରମନ୍ତ୍ରୀଙ୍କୁ ସମ୍ବଲପୁର ଓ ଝାରସୁଗୁଡ଼ାର ବିଭିନ୍ନ ସ୍ଥାନରେ କାର୍ଯ୍ୟକର୍ତ୍ତାମାନେ ସ୍ୱାଗତ କରିଥିଲେ ।

Sponsored
ରାଜ୍ୟ ସରକାର ପର ଘର ତିଅଣରେ ଅତିଥି ସତ୍କାର କରି ଚଞ୍ଚକତା କରିବାରେ ଧୂରନ୍ଧର | Argus News